22
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ 
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। 
 1 ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? 
ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ? 
 2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, 
ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। 
 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, 
ତୁମ୍ଭେ ପବିତ୍ର ଅଟ। 
 4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; 
ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। 
 5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; 
ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। 
 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; 
ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। 
 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; 
ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, 
 8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; 
ସେ ତାହାକୁ ଉଦ୍ଧାର କରନ୍ତୁ; 
ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” 
 9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; 
ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। 
 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; 
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। 
 11 ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; 
ସାହାଯ୍ୟକାରୀ କେହି ନାହିଁ। 
 12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; 
ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। 
 13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ 
ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି। 
 14 ମୁଁ ଜଳ ପରି ଢଳା ହେଉଅଛି 
ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। 
ମୋହର ହୃଦୟ ମହମ ପରି ହୋଇଅଛି; 
ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ। 
 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; 
ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, 
ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ। 
 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; 
ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; 
ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। 
 17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; 
ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି। 
 18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି 
ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। 
 19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; 
ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। 
 20 ଖଡ୍ଗରୁ ମୋʼ ପ୍ରାଣକୁ 
ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। 
 21 ସିଂହର ମୁଖରୁ ମୋତେ ନିସ୍ତାର କର; 
ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। 
 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; 
ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। 
 23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; 
ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; 
ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। 
 24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। 
କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; 
ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। 
 25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; 
ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। 
 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; 
ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; 
ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। 
 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; 
ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ* ତୁମ୍ଭ କିମ୍ବା ତାହାଙ୍କ ସମ୍ମୁଖରେ ପ୍ରଣାମ କରିବେ। 
 28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; 
ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। 
 29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; 
ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, 
ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। 
 30 ଏକ ବଂଶ ତାହାଙ୍କର ସେବା କରିବେ; 
ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। 
 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, 
ସେ ଏହା ସାଧନ କରିଅଛନ୍ତି।