46
ସହବର୍ତ୍ତୀ ପରମେଶ୍ୱର 
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। 
 1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, 
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। 
 2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ 
ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 
 3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, 
ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ 
ଆମ୍ଭେମାନେ ଭୟ କରିବା ନାହିଁ। 
[ସେଲା]
  4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ 
ପରମେଶ୍ୱରଙ୍କ ନଗରକୁ, 
ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। 
 5 ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। 
ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। 
 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; 
ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। 
 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, 
ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 
 8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, 
ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି! 
 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; 
ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; 
ସେ ରଥ* ରଥ କିମ୍ବା ଢାଲସବୁ ଅଗ୍ନିରେ ପୋଡ଼ି ପକାନ୍ତି। 
 10 “କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; 
ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, 
ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।” 
 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; 
ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 
[ସେଲା]