144
ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି 
ଦାଉଦଙ୍କର ଗୀତ। 
 1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, 
ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି 
ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। 
 2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, 
ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, 
ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; 
ସେ ଗୋଷ୍ଠୀସମୂହକୁ* ଗୋଷ୍ଠୀସମୂହକୁ ମୋʼ ଲୋକମାନଙ୍କୁ ମୋʼ ପଦ ତଳେ ବଶୀଭୂତ କରନ୍ତି। 
 3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? 
ସେ† ସେ ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? 
 4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; 
ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ। 
 5 ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; 
ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ। 
 6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; 
ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର। 
 7 ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; 
ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; 
ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ 
 8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, 
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। 
 9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; 
ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। 
 10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; 
ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି। 
 11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, 
ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, 
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। 
 12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ 
ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; 
 13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; 
ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; 
 14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; 
କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, 
ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ; 
 15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; 
ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!